Monsoon 1

ଓଡ଼ିଶାରେ ମୌସୁମୀ, ୩ ଦିନ ବର୍ଷିବ

ରାଜ୍ୟ
Spread the love

ଭୁବନେଶ୍ବର : ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସୋମବାର କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପବନ ଓ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ‘ପ୍ରସ୍ତୁତ ରହିବା’ ନିମନ୍ତେ ଚେତାବନୀ ( ଅରେଞ୍ଜ ୱାର୍ଣ୍ଣିଂ) ଜାରି ହୋଇଛି। ଏହି ସମୟରେ ପଶ୍ଚିମ ଓ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ୩୦ରୁ ୪୦ କିମି ବେଗରେ ପବନ ହେବ। ତେବେ ଉପକୂଳ ଓଡ଼ିଶାରେ ଗରମ ଓ ଗୁଳୁଗୁଳି ସ୍ଥିତି ଲାଗିରହିବାର ସମ୍ଭାବନା ରହିଛି।
ପରବର୍ତ୍ତୀ ୨୪ ଘଣ୍ଟାରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ ବୋଲି ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ହୋଇପାରେ।
କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଜୁଲାଇ ୧ ଓ ୨ରେ ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପକ୍ଷରେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଉତ୍ତର ଆରବ ସାଗର, ଗୁଜୁରାଟ, ମଧ୍ୟପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ, ବିହାର, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡର କିଛି ଅଂଶକୁ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି। କେନ୍ଦ୍ରୀୟ ଛତିଶଗଡ଼ ଓ ସଂଲଗ୍ନ ଓଡ଼ିଶା ଉପରେ ସମୁଦ୍ର ପତ୍ତନଠାରୁ ୦.୯ କିଲୋମିଟର ଉଚ୍ଚତାରେ ରହିଥିବା ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ଦୁର୍ବଳ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *