କଟକ : ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ପ୍ରବଳ ବର୍ଷା ନେଇ ଜାରି ସତର୍କତାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଅର୍ଥାତ୍ ଶନିବାର (୨୬ ସେପ୍ଟେମ୍ବର) କଟକ ଜିଲ୍ଲାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ତେଣୁ ଛାତ୍ରଛାତ୍ରୀମାନଙ୍କ ସୁରକ୍ଷା ଓ କଲ୍ୟାଣକୁ ସର୍ବାଧିକ ପ୍ରାଥମିକତା ଦେଇ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ ନିର୍ଦ୍ଦେଶକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି।
ଜିଲ୍ଲା ଶିକ୍ଷା ଅଧିକାରୀ (DEO)ଙ୍କ ପକ୍ଷରୁ ଜାରି ଆଦେଶନାମା (କ୍ରମାଙ୍କ: ୧୨୯୯୨) ଅନୁସାରେ, ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ବେସରକାରୀ ସ୍କୁଲ୍ (ପ୍ରାଥମିକରୁ ଆରମ୍ଭ କରି ଉଚ୍ଚ ମାଧ୍ୟମିକ ସ୍ତର ପର୍ଯ୍ୟନ୍ତ) ଶନିବାର ଦିନ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏହି ନିର୍ଦ୍ଦେଶନାମା ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV), ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (HSS), ମଦ୍ରାସା ଏବଂ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ସମେତ ସମସ୍ତ ଶିକ୍ଷାନୁଷ୍ଠାନ ଲାଗି ଲାଗୁ ହେବ।
ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ କରିବା ପାଇଁ ଜିଲ୍ଲାର ସମସ୍ତ ବ୍ଲକ୍ ଶିକ୍ଷା ଅଧିକାରୀ (BEO), ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ, ଅଧ୍ୟକ୍ଷ ତଥା ପ୍ରଧାନ ଆଚାର୍ଯ୍ୟମାନଙ୍କୁ ସୂଚିତ କରାଯାଇଛି। ଏହା ସହିତ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ମଧ୍ୟ ଏ ସମ୍ପର୍କରେ ଆନୁଷ୍ଠାନିକ ଭାବେ ଅବଗତ କରାଯାଇଛି।
